Friday, August 17, 2018

ଲାଓଜ଼ିଙ୍କର ଦାଓ ଜେ ଜିଙ୍ଗ୍ - ୧

ଅନୁବାଦ - ଜ୍ୟୋତି ନନ୍ଦ


ଗଧ ଉପରେ ଲାଓଜ଼ି (ଫଟୋ କ୍ରେଡ଼ିଟ - ୱିକିମିଡିଆ କମନ୍ସ୍)

ଦାଓ କ'ଣ ?
ଦାଓ ହେଉଛି ତାହା ଯାହାକୁ ଶବ୍ଦରେ ବନ୍ଧା ଯାଏନା
କେବେ ହେଲେ ତାହାର ନାମକରଣ ନାହିଁ
ସେଥିରେ ଜମା ଧରା ପଡ଼ିବନି ଅସଲ ତାଓ ।

ଶବ୍ଦ ଭିତରେ ଅଛି, ପାଇଯିବ ସୀମିତକୁ,
ଅସୀମ ସେଇଠୁ ଓହ୍ଲାଇ ଆସେ ଧରା ଦିଏ ନାହିଁ
ଯଦିବା ମୁକ୍ତ ହୁଅ ବାସନାରୁ
ତେବେ ରହସ୍ୟକୁ ଭେଟିବ
ଯଦି ବାସନା ସହ ସହବାସ କର
କେବଳ ପାଇବ ପ୍ରକାଶ୍ୟ ।

ରହସ୍ୟ ଆଉ ପ୍ରକାଶ୍ୟ ଉତ୍ସ ତ ଗୋଟିଏ
ଏଇ ଉତ୍ସର ନାମ ଅନ୍ଧକାର
ଅନ୍ଧକାର ଭିତରେ ଅନ୍ଧକାର
ମୂଳମନ୍ତ୍ର ସବୁକିଛିକୁ ବୂଝାଏ ।

ବି. ଦ୍ର.: ପ୍ରସିଦ୍ଧ ଦାର୍ଶନୀକ ଲାଓଜ଼ି ଙ୍କର ଜନ୍ମ ଖ୍ରୀ.ପୂ. ଷଷ୍ଠରୁ ପଞ୍ଚମ ଶତାବ୍ଦୀ ମଧ୍ୟରେ ଚୀନ ଦେଶରେ । ତାଙ୍କର ଏକମାତ୍ର ପୁସ୍ତକ ଉପଲବ୍ଧ, ଯାହାର ନାଆଁ ହେଉଛି "ଦାଓ ଦେ ଜିଙ୍ଗ୍"। ଏଥିରେ ଏକାଅଶିଟି ଅନୁଚ୍ଛେଦ ରହିଛି, ଯାହାର କିଛି ଅଂଶର ଅନୁସୃଜନ ଆପଣମାନଙ୍କ ନିକଟରେ ଏବେ । ଲାଓଜ଼ି ଙ୍କୁ ଅନୁବାଦ କରିବାରେ ଏକ ବିହ୍ୱଳତା ଓ ଅତ୍ୟୁତ୍ସାହ ଯୋଗୁ ଯେଉଁ ତୃଟି ତାହାକୁ ମାର୍ଜନା କରିବେ । ତାଓ ଏକ ଧାର୍ମିକ ମତବାଦ ନୁହଁ । ଏହା ଏକ ରହସ୍ୟବାଦୀ ମତବାଦ । ସେ ସମୟରେ ଜଣେ "ଦାଓ ଈଶ୍ୱରଙ୍କ ଠାରୁ ପ୍ରବୀଣ" ବୋଲି କହିପାରିବାର ଧୃଷ୍ଟତା କରି ପାରିବାରେ ତାହାର ସାମର୍ଥ୍ୟ ରହିଛି ବୋଲି ବିଚାରଟିକୁ ଆପଣମାନଙ୍କ ଆଗରେ ରଖୁଛି । ବିଶ୍ୱ-ପ୍ରତିବିଶ୍ୱ, ପ୍ରକାଶ୍ୟ-ଅପ୍ରକାଶ୍ୟ, ସତ୍ୟ-ମିଥ୍ୟା ଓ ସତ୍ତା-ଅସତ୍ତାର ଅବବୋଧକୁ ଅନୁସୃଜନ କଲା ବେଳେ ମୋତେ ବାରମ୍ବାର ଲାଗିଛି ଲାଓଜ଼ି ଯେମିତି ଆମ ସମୟର ଜଣେ ଚିନ୍ତକ । ଯେମିତି ସେ ଉତ୍ତର-ଆଧୁନିକ ଆଉ ଉତ୍ତର-ସତ୍ୟର କଥା ନିଜ ବାଟରେ କହୁଛନ୍ତି ।କହିବାରେ ଟିକିଏ ବୋଲି ଆବିଳତା ନାହିଁ । ଆମ ପୃଥିବୀ ସତରେ ଖୁବ୍ ସୁନ୍ଦର । ଏହି ଭଳି ଗୁରୁମାନେ ପୃଥିବୀର ସମସ୍ତ ସୁନ୍ଦରପଣକୁ ଆମର ସୂର୍ଯ୍ୟ ସମେତ ସବୁ ଗ୍ରହ-ନକ୍ଷତ୍ର, ଯାବତୀୟ ପାର୍ଥିବ ବିଭାବ ସହ ଠିକ୍ ଭାବରେ ଦେଖିଯିବା ପାଇଁ ଆମକୁ ଆଖିଟିମାନ ଦେଇ ଯାଇଛନ୍ତି । ପୃଥିବୀରେ ଜନ୍ମିବାର ଏଇଟି ଏକମାତ୍ର ସୌଭାଗ୍ୟ । ଲାଓଜ଼ି ଶବ୍ଦଟିର ମାଣ୍ଡାରିନ ଭାଷାରେ ଅର୍ଥ ହେଉଛି 'ବୃଦ୍ଧ-ତରୁଣ' । ସେଥିରେ ଅନେକେ ଖୁସି ହେବେ ।

No comments:

Post a Comment